ଗଜପତି:- ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
ଗଜପତି ଜିଲ୍ଲା ଗୁମ୍ମାସ୍ଥିତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଆଜି ଗ୍ରାମମୁଖୀ ପ୍ରଶାସନ ଅଧୀନରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନୀଲ ଅଗ୍ରୱାଲ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ସୁଶ୍ରୀ ଭଗତ ସମଲ କଲ୍ୟାଣରାଓ ପ୍ରମୁଖ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିଥିଲେ।
ଉକ୍ତ ଶିବିର କାର୍ଯ୍ୟକ୍ରମରେ ମୋଟ ୩୧ ଟି ଅଭିଯୋଗପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୭ଟି ବ୍ୟକ୍ତିଗତ ଏବଂ ୧୪ଟି ଗ୍ରାମଭିତ୍ତିକ ସମସ୍ୟା ସମ୍ପର୍କିତ ଅଭିଯୋଗ ରହିଥିଲା , ସେଥିମଧ୍ୟରୁ ଦୁଇ ଜଣ ହିତାଧିକାରୀଙ୍କୁ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜାତୀୟ ପରିବାର ମଙ୍ଗଳ ଯୋଜନା ଅଧୀନରେ ପ୍ରତ୍ୟେକଙ୍କୁ ୨୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ପ୍ରଦାନ କରା ଯାଇଥିଲା। ଅନ୍ୟ ସମସ୍ତ ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଶ୍ରୀ ଅଗ୍ରୱାଲ ,ନିର୍ଦ୍ଦେଶ ଦେଇଥିଲେ।
ଉକ୍ତ ଶିବିର କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ କାର୍ଡ, ଶିକ୍ଷା, ଜଳସେଚନ, ରାସ୍ତା, ସ୍ୱାସ୍ଥ୍ୟ ଆଦି ବିଭିନ୍ନ ସମସ୍ୟା ସମ୍ପର୍କରେ ଜନସାଧାରଣ ଅଭିଯୋଗ ଆସିଥିଲା।
ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମୀ ମଣ୍ଡଳ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଦୁଲାରମ ମାରାଣ୍ଡି, ତହସିଲଦାର ଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସ୍ଥାନୀୟ ଜନପ୍ରତିନିଧି ମାନେ ଉପସ୍ଥିତ ଥିଲେ।
——————————————
ଗଣେଶ କୁମାର ରାଜୁ
ପାରଳାଖେମୁଣ୍ଡି(ଗଜପତି)
——————————————
