April 27, 2026

ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ କଟକ ଜିଲ୍ଲା ଦମ୍ପତି

IMG-20250721-WA0031
Share

 

ପାରଳାଖେମୁଣ୍ଡି, ତା. ୨୧.୦୭.୨୦୨୫

ଆଜି ଗଜପତି ଜିଲ୍ଲାରୁ ୭୨ତମ ଶିଶୁଙ୍କୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନି ମାଝୀ ପୋଷ୍ୟ ସନ୍ତାନ ଭାବେ କଟକ ଜିଲ୍ଲାର ଏକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି। ପିତୃମାତୃହୀନ ଏହି ଶିଶୁଙ୍କୁ, ଶିଶୁ ମଙ୍ଗଳ ସମିତିଙ୍କ ନିର୍ଦ୍ଦେଶ କ୍ରମେ ଯତ୍ନ ଓ ସୁରକ୍ଷା ନିମନ୍ତେ ଉତ୍କଳ ବାଳାଶ୍ରମ ଶିଶୁ ଯତ୍ନ ଅନୁଷ୍ଠାନ, ପାରଳାଖେମୁଣ୍ଡିଠାରେ ରଖି ଯତ୍ନ ଓ ସୁରକ୍ଷା ପ୍ରଦାନ କରାଯାଉଥିଲା। ପରବର୍ତ୍ତି ମୁହୁର୍ତ୍ତରେ ଶିଶୁ ମଙ୍ଗଳ ସମିତି, ଗଜପତି ଶିଶୁଟିକୁ ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ ଏବଂ ଏହାପରେ ଶିଶୁଟିର ତଥ୍ୟ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ଗ୍ରହଣ ପୋର୍ଟାଲ୍ ରେ ଅପଲୋଡ଼୍ କରାଯାଇଥିଲା, ଯାହାଦ୍ୱାରା ଶିଶୁଟି ପୋଷ୍ୟ ସନ୍ତାନ ଭାବେ ଯେକୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବ, ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା।

ପୋଷ୍ୟ ସନ୍ତାନ ଗ୍ରହଣ ନିମନ୍ତେ ପ୍ରାୟ ୨ ବର୍ଷରୁ ଉର୍ଦ୍ଧ ସମୟ ଧରି ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଉକ୍ତ ଦମ୍ପତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ। ଉପରୋକ୍ତ ଦମ୍ପତ୍ତି ଶାରିରୀକ ସ୍ତରରେ ଶିଶୁଟିକୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ। ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ଵତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ଗଜପତି ପ୍ରସ୍ତୁତ କରିଥିଲେ । ସମସ୍ତ ଦସ୍ତାବିଜକୁ ଅତିରିକ୍ତ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁଟିକୁ ଉକ୍ତ ଦମ୍ପତିଙ୍କୁ ହସ୍ତାନ୍ତର କରିଥିଲେ। ଶିଶୁଟିର ବୟସ ୧୨ ବର୍ଷ, ଶିଶୁପୁତ୍ର ହୋଇଥିବାବେଳେ, ଶିଶୁଟିକୁ ପାଇ ଉକ୍ତ ଦମ୍ପତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା।

ହସ୍ତାନ୍ତର ସମୟରେ ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଅଶ୍ଵିନୀ କୁମାର ମହାପାତ୍ର, ଶିଶୁ ମଙ୍ଗଳ ସମିତି ସଦସ୍ୟା ଶ୍ରୀମତୀ ମମତା ଶତପଥି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରିପାଠୀ, ଉତ୍କଳ ବାଳାଶ୍ରମ ଶିଶୁ ଯତ୍ନ ଅନୁଷ୍ଠାନ ଓ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।