April 28, 2026

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର, ଭଦ୍ରକ ଓ ଯାଜପୁରର ବନ୍ୟା ପରିସ୍ଥିତି ଅନୁଧ୍ୟାନ

IMG-20250730-WA0025
Share

 

୩ଟି ଜିଲ୍ଲାର ୮ଟି ବ୍ଲକ, ୮୧ଟି ଗାଁ, ୩୦ ହଜାରରୁ ଅଧିକ ଲୋକ ପ୍ରଭାବିତ

 

୫୮୬୯ ଜଣ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର, ୧୦ ହଜାର ଲୋକଙ୍କୁ ରନ୍ଧାଖାଦ୍ୟ ଦିଆଯାଉଛି, ୩ଟି ଜିଲ୍ଲାରେ ୨୯ଟି ଫ୍ରି କିଚିନ୍,

ଜଳସ୍ତର କମୁଛି, ପରିସ୍ଥିତି ନିୟନ୍ତ୍ରଣାଧୀନ

 

ଆଗାମୀ ୭ଦିନ ପର୍ଯ୍ୟନ୍ତ ରନ୍ଧାଖାଦ୍ୟ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

 

ବନ୍ୟା ପରବର୍ତ୍ତୀ ସମୟରେ ଡାଇରିଆ ଓ ଅନ୍ୟ ଜଳବାହିତ ରୋଗ ରୋକିବା ପାଇଁ ଆଗୁଆ ପଦକ୍ଷେପ ନେବାକୁ ପରାମର୍ଶ

 

କ୍ଷୟକ୍ଷତି ରିପୋର୍ଟ ଶୀଘ୍ର ପ୍ରଦାନ କରିବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି, ରିପୋର୍ଟ ପରେ ସହାୟତା ପ୍ରଦାନ- ମୁଖ୍ୟମନ୍ତ୍ରୀ

 

 

ଭୁବନେଶ୍ୱର, (ରାଜାରାମ ଷଡ଼ଙ୍ଗୀ):ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ଦେଓ ରଞ୍ଜନ କୁମାର ସିଂହ ମଧ୍ୟ ଉପସ୍ଥିତ ଥିଲେ।

ବନ୍ୟା ପରିସ୍ଥିତି ଅନୁଧ୍ୟାନ ପରେ ଲୋକସେବା ଭବନରେ ଗଣମାଧ୍ୟମ ନିକଟରେ ବିବୃତ୍ତିରଖି ମୁଖ୍ୟମନ୍ତ୍ରୀ କହିଥିଲେ ୩ଟି ଜିଲ୍ଲାର ୮ଟି ବ୍ଲକର ୮୧ଟି ଗାଁ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି। ବାଲେଶ୍ୱରର ୪ଟି ବ୍ଲକ୍‍ ଯଥା ବସ୍ତା, ବାଲିଆପାଳ, ଭୋଗରାଇ ଓ ଜଳେଶ୍ୱର ଏବଂ ଭଦ୍ରକ ଜିଲ୍ଲାର ଧାମନଗର ଓ ଭଣ୍ଡାରୀପୋଖରୀ ଏବଂ ଯାଜପୁର ଜିଲ୍ଲାର ଯାଜପୁର ଓ ଦଶରଥପୁର ବ୍ଲକ ପ୍ରଭାବିତ ହୋଇଛି । ବନ୍ୟାଦ୍ୱାରା ପ୍ରାୟ ୩୦ ହଜାର ଲୋକ ପ୍ରଭାବିତ ହୋଇଥିବା ବେଳେ ୫୮୬୯ ଜଣ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି।

ବର୍ତ୍ତମାନ ବିଭିନ୍ନ ନଦୀରେ ଜଳସ୍ତର କମୁଛି। ବାଲେଶ୍ୱର ଜିଲ୍ଲାର ସୁବର୍ଣ୍ଣରେଖା ଓ ଜଳକା ଆଦି ନଦୀରେ ପାଣି କମିବାରେ ଲାଗିଛି। ବନ୍ୟାପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ଅଛି। କେନ୍ଦୁଝର ଏବଂ ଅନ୍ୟ କିଛି ଜିଲ୍ଲାରେ ବନ୍ୟା ହୋଇଥିଲେ ମଧ୍ୟ ଏହାର ବିଶେଷ ପ୍ରଭାବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

 

ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ଶୁଖିଲା ଖାଦ୍ୟ ଏବଂ ଆବଶ୍ୟକସ୍ଥଳେ ଗରମ ରନ୍ଧାଖାଦ୍ୟ ପ୍ରଦାନ କରାଯାଉଛି। ଏଥିପାଇଁ ବାଲେଶ୍ୱରରେ ୧୬ଟି, ଭଦ୍ରକରେ ୧୦ଟି ଓ ଯାଜପୁରରେ ୩ଟି ଫ୍ରି କିଚିନର ବ୍ୟବସ୍ଥା କରାଯାଇଛି । ସମୁଦାୟ ପ୍ରାୟ ୧୦ ହଜାର ପ୍ରଭାବିତ ଲୋକଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି ଏବଂ ଆଗାମୀ ୭ ଦିନ ପର୍ଯ୍ୟନ୍ତ ରନ୍ଧାଖାଦ୍ୟ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

 

ବନ୍ୟା ପରବର୍ତ୍ତୀ ସମୟରେ ଅନେକ ସମସ୍ୟା ଦେଖାଦିଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ବିଶେଷ କରି ଡାଇରିଆ ଓ ଅନ୍ୟାନ୍ୟ ଜଳ ବାହିତ ରୋଗର ନିୟନ୍ତ୍ରଣ ପାଇ ଜଳ ଉତ୍ସ ଗୁଡିକର ବିଶୁଦ୍ଧକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ଏହାକୁ ଜାରି ରଖିବା ପାଇଁ ସ୍ଥାନୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କୌଣସି ପରିସ୍ଥିତିରେ ଯେପରି ଡାଇରିଆ ରୋଗର ପ୍ରଭାବ ଦେଖାନଯିବ, ସେଥିପ୍ରତି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ବୋଲି ସେ କହିଥିଲେ।

 

ଅନେକ ସ୍ଥାନରେ ସାପ କାମୁଡା ପରି ଘଟଣା ଘଟେ ବୋଲି ପ୍ରକାଶ କରି ସେ କହିଥିଲେ ଯେ, ଏଥିପାଇଁ ବ୍ୟାପକ ପରିମାଣରେ ଆଣ୍ଟିଭେନମ୍ ଓ ଅନ୍ୟାନ୍ୟ ଆବଶ୍ୟକ ଔଷଧ ମହଜୁଦ ରଖିବା ପାଇଁ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

 

ବନ୍ୟା ଅଞ୍ଚଳର କ୍ଷତିଗ୍ରସ୍ତ ଲୋକଙ୍କୁ ସହାୟତା ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିଥିଲେ, କ୍ଷୟକ୍ଷତିର ତୁରନ୍ତ ଆକଳନ କରି ରିପୋର୍ଟ ଦେବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରିପୋର୍ଟ ପାଇବା ପରେ କ୍ଷତିଗ୍ରସ୍ତ ଲୋକଙ୍କୁ ଉପଯୁକ୍ତ ସହାୟତା ଯୋଗାଇ ଦିଆଯିବ । ଘର ଭଙ୍ଗା ଏବଂ ଗୋ-ସମ୍ପଦର କ୍ଷୟକ୍ଷତି ରିପୋର୍ଟ ମଗାଯିବା ସହିତ ଯେଉଁ ଗାଁ ଗୁଡ଼ିକରେ ରାସ୍ତା ଖରାପ ହୋଇଯାଇଛି ସେଗୁଡିକ ତୁରନ୍ତ ମରାମତି କରି ଯୋଗାଯୋଗ ବ୍ୟବସ୍ଥା ପୁନସ୍ଥାପିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଭାବିତ ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣରେ ପଶୁଖାଦ୍ୟ ଯୋଗାଇ ଦେବା ପାଇଁ ପରାମର୍ଶ ଦିଆଯାଇଛି।

 

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱଦେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବାଲେଶ୍ବର ଜିଲ୍ଲାରେ ୧୭ଟି ଓଡ୍ରାଫ୍‍ ଓ ୧୩ଟି ଅଗ୍ନିଶମ ସେବା ଟିମ୍‍, ଭଦ୍ରକ ଜିଲ୍ଲାରେ ଗୋଟିଏ NDRF, ଗୋଟିଏ ODRAF ଓ ୧୩ଟି ଅଗ୍ନିଶମ ସେବା ଟିମ୍, ଯାଜପୁର ଜିଲ୍ଲାରେ ଗୋଟିଏ ODRAF ଓ ୧୪ଟି ଅଗ୍ନିଶମ ସେବା ଟିମ୍‍ ମୁତୟନ କରାଯାଇଛି।